ରାଜ୍ୟର ଧାନ ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ତିନି ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି। ସେଠାରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଯୋଗାଣ ଓ ସାଧାରଣ ବଣ୍ଟନ, ନୂତନ ଓ ଅକ୍ଷୟ ଶକ୍ତି ବିଭାଗ ମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ସାକ୍ଷାତ କରିଛନ୍ତି। ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କୁ ସାକ୍ଷାତ କରିବା ଅବସରରେ ରାଜ୍ୟର ଧାନ ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ଦାବିକୁ ବିଚାର କରିବାକୁ କହିଥିଲେ। ଏଥିସହ ରାଜ୍ୟରୁ ଚାଉଳ ଉଠାଣରେ ଭାରତୀୟ ଖାଦ୍ୟ ନିଗମ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ଶ୍ରୀ ପାତ୍ର କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି କରିଥିଲେ। ଚାଉଳ ଓ ଧାନ ସଂଗ୍ରହ ବାବଦକୁ ଥିବା ରାଜ୍ୟର ବକେୟା ପ୍ରାପ୍ୟ ପ୍ରଦାନ କରିବା ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ସେ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ଶ୍ରୀ ଯୋଶୀ ଏହାକୁ ବିଚାରକୁ ନେଇ  ସମସ୍ତ ସହଯୋଗ ଯୋଗାଇ ଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ ।

ମନ୍ତ୍ରୀ ଶ୍ରୀ ପାତ୍ରଙ୍କ ଏହି  ଦିଲ୍ଲୀ ଗସ୍ତ ଅବସରରେ ଦିଲ୍ଲୀ ଖାଦ୍ୟ ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶକ୍ତିକାନ୍ତ ଦାସ ଓ ବିଭିନ୍ନ ବରିଷ୍ଠ ଅଧିକାରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶାର ସ୍ୱାର୍ଥ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଗସ୍ତ ଅବସରରେ ଓଡିଶା ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *